କୁମାର ପୂର୍ଣ୍ଣିମା

ଲେଖା: ଅକ୍ଷୟ ଓଝା

 

ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନ‌ଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି ।

ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ ।

ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସ‌ହିତ ଯୁଦ୍ଧ ଆରମ୍ଭ କରିଥିଲେ ।ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ । ତେବେ ଏହି ପର୍ବରେ କାର୍ତ୍ତିକେୟଙ୍କ ପାଇଁ କୌଣସି ବିଶେଷ ପୂଜା ବିଧି ନାହିଁ ।

କୁମାର ପୂର୍ଣ୍ଣିମା ଦିନ ଘରର କୁମାରୀମାନେ ଭୋର୍‌ରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ବିଧିକୁ ଆଞ୍ଜୁଳାଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ ।

ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି । ଏହିଦିନ କୁମାରୀ ତ‌ଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି । ଅଳତା ହେଉଛି ଓଡ଼ିଆ ପରମ୍ପରାରେ ଅହିସୁଲକ୍ଷଣୀ ହେବାର ପ୍ରତୀକ । ପ୍ରତ୍ୟେକ ପୂଜାପର୍ବରେ ଓଡ଼ିଆଣୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘଜୀବନ କାମନା କରିଥାନ୍ତି ।

ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନ ବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି । କୁମାର ପୂର୍ଣ୍ଣିମାର କିଛିଦିନ ପୂର୍ବରୁ ଚଉରାକୁ ଭଲ ଭାବରେ ସଫା କରି ରଙ୍ଗ କରାଯାଇଥାଏ । କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୂଜରେ ବିଭିନ୍ନ ପ୍ରକାର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ । ଚଉରାକୁ ସଜାଇବାରେ ମୁଖ୍ୟତଃ କଇଁଫୁଲ ବ୍ୟବ‌ହାର କରାଯାଇଥାଏ । ଚନ୍ଦ୍ର ଉଦୟ ହେଲେ କଇଁ ଫୁଟିଥାଏ । ଏହି ପର୍ବରେ ଚନ୍ଦ୍ରଙ୍କ ପୂଜା କରାଯାଉଥିବାରୁ ଏଥିରେ କଇଁ ଫୁଲ ବିଶେଷ ଭାବରେ ବ୍ୟବ‌ହୃତ ହୋଇଥାଏ ।

କୁମାର ପୂର୍ଣ୍ଣିମା ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସ‌ହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା’ ଉପରେ ଦୁବ ଘାସ, ଫୁଲ, ବରକୋଳି ପତ୍ର ଦେଇ ସଜାଯାଇଥାଏ । ଚଉରା ପାଖରେ ସ୍ଥାପନ କରାଯାଇଥିବା କଳସରେ ମଧ୍ୟ ଆମ୍ବଡାଳ, ଗୁଆ, ସିନ୍ଦୁର, ଚନ୍ଦନ ଇତ୍ୟାଦି ଦେଇ ଅନୁରୂପ ଭାବେ ସଜାଯାଇଥାଏ । ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦ‌ହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜାମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ । ଏହି ଚକଟାକୁ ଚାନ୍ଦଚକଟା କୁହାଯାଏ । ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡାପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନ‌ଙ୍କ ମଧ୍ୟରୁ ଅନ୍ୟତମ । ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡାପିଠା ଭୋଗ ଚଉରା ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ସେମାନ‌ଙ୍କୁ ଶଙ୍ଖ ଓ ହୁଳହୁଳି ସ‌ହ ଦୀପରେ ବନ୍ଦାଇ ଦିଆଯାଏ ।

ଯେଉଁ ଘରେ କୌଣସି କୁମାରୀ କନ୍ୟା ନ ଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉରା ଓ ଚନ୍ଦ୍ର ପୂଜା କରିଥାନ୍ତି । ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି । ଗାଁ ଗ‌ହଳିର ଝିଅମାନେ ଗାଆନ୍ତି,
“କୁଆଁର ପୁନେଇ ଜ‌ହ୍ନ ଗୋ ଫୁଲ ବଉଳ ବେଣୀ,
କୁଆଁରୀ ଝିଅଙ୍କ ଅପୂର୍ବ ଆନ‌ନ୍ଦ
ପୁଚି ଖେଳିବାକୁ ମନ ଗୋ ଫୁଲ ବଉଳ ବେଣୀ . . . “

ଗୀତ ଗାଇ ଗାଇ ପୁଚି ଖେଳିଥାନ୍ତି । ପୁଅମାନେ ପଶା ଓ ତାସ୍ ଖେଳି ମନୋରଞ୍ଜନ କରିଥାନ୍ତି । କେତେକ ଅଞ୍ଚଳରେ ଏହି ଦିନ ଘରର ଜ୍ୱାଇଁମାନ‌ଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ଉପହାର ଦିଆଯାଇଥାଏ । ଭାଦ୍ରବ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମାଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ କୁମାରୀ କନ୍ୟାମାନେ ଏକାଠି ହୋଇ ଜହ୍ନିଓଷା କରନ୍ତି । ଏହି ଓଷାର ଉଦ୍‌ଯାପନ କୁମାର ପୂର୍ଣ୍ଣିମା ଦିନ ହୋଇଥାଏ । 

1 thought on “କୁମାର ପୂର୍ଣ୍ଣିମା”

  1. Pingback: Khai/Lia (ଖଇ) - Authentic Odia Food Prepared from Rice

Leave a Comment

Your email address will not be published. Required fields are marked *

Scroll to Top