ଲେଖା: ଶିଶିର ସାହୁ ମନୋଜ
ପଶ୍ଚିମ ଓଡ଼ିଶାର ଲୁପ୍ତ ଖେଳ ଖମଖମାଲୋ !
ଗଡ଼ଜାତ ଓଡ଼ିଶାରେ ପୂର୍ଵେ ‘ଖମଖମାଲୋ’ ବୋଲି ଏକ ଖେଳ ଖେଳାଯାଉଥିଲା । ସାଧାରଣତଃ ଏହା ପିଲାମାନଙ୍କର ଖେଳ ଏଵଂ ଖମ୍ବ ଵା ଖୁମ୍ବ ଏ ଖେଳର ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ ହୋଇଥିଵାରୁ ଏହାର ନାମ ଖମଖମାଲୋ ରଖାଯାଇଥିଲା । ଏ ଖେଳର ଅନ୍ୟନାମ ଖମମଖାଲୁ ଓ ଖମଖମାଲି ଇତ୍ୟାଦି ରହିଥିଲା । ସମ୍ବଲପୁର ଜିଲ୍ଲାରେ ଏ ଖେଳକୁ ଖମ୍ ଖମାଲି କୁହାଯାଉଥିଲା ବୋଲି କଥିତ ଓଡ଼ିଆ ଶବ୍ଦକୋଷରୁ ଜଣାଯାଏ ।
ଏହି ଖମ୍ ଶବ୍ଦଟି ସହିତ ତତ୍ସମ ସ୍ତମ୍ବ ଵା ସ୍ତମ୍ଭ ଏଵଂ ପ୍ରାକୃତ ଖଂଭ ଓ ଓଡ଼ିଆ ଖମ୍ବ ଶବ୍ଦ ସମୋଦ୍ଧୃତ । ଓଡ଼ିଶାରେ ତତ୍ସମ ସ୍ତମ୍ବ ଵା ସ୍ତମ୍ଭ ଶବ୍ଦର ଵିଭିନ୍ନ ରୂପ ପ୍ରଚଳିତ ଥିଲା ଏଵଂ ଏବେ ମଧ୍ୟ ରହିଛି । ଓଡ଼ିଶାରେ ସ୍ତମ୍ବ ଵା ସ୍ତମ୍ଭ ଶବ୍ଦ ଏକ ଦିଗରେ ଖମ୍ବ,ଖୁମ୍ବ,ଖମ୍,ଖମ ଓ ଖମା ହୋଇ ପ୍ରଚଳିତ ଥିଵା ବେଳେ ଅନ୍ୟ ଏକ ପକ୍ଷରେ ଏହାର ଏକ ସମୟରେ ଥମ୍ବ ଓ ଥମ୍ ରୂପ ପରିଵୃତ୍ତ ହୋଇ ମଧ୍ୟ ପ୍ରଚଳିତ ଅଛି ।
ପ୍ରାଚୀନ ଓଡ଼ିଆ ସାହିତ୍ୟରେ ମଧ୍ୟ ଖମ ଶବ୍ଦର ସ୍ତମ୍ଭ ଅର୍ଥରେ ଵ୍ୟଵହାର ଦୃଷ୍ଟିଗୋଚର ହୋଇଥାଏ, ଯଥା ବ୍ରହ୍ମନିରୂପଣ ଗୀତାରେ ଖମ ଶବ୍ଦର ଏମନ୍ତ ଵ୍ୟଵହାର ରହିଛି
“ଅଲେଖ ପ୍ରଭୂ ଏ ବ୍ରହ୍ମାଣ୍ଡରେ ମେରୁ ଖମ !”
ସେହିପରି ଢେଙ୍କାନାଳ ଗଡ଼ଜାତ ତଥା ଓଡ଼ିଶାର ଅନ୍ୟ କେତେକ ଅଞ୍ଚଳରେ ଖମ୍ବ ପରିଵର୍ତ୍ତେ ଖୁମ୍ବ ଶବ୍ଦର ଵ୍ୟଵହାର ପ୍ରଚଳିତ ଅଛି । ସାହିତ୍ୟରେ ମଧ୍ୟ ଖୁମ୍ବ ଶବ୍ଦ ଵ୍ୟଵହାରର ଉଦାହରଣ ରହିଛି, ଯଥା —
“ଆବର ରତନର ପୁର ।
ଖୁମ୍ବ ନ ଥାଇ ସେ ତିଆର ।।
ଆଡ଼ଦୀର୍ଘ ତା ନୋହେ କଳି ।
ମଧ୍ୟେ ଅଛଇ ରାସସ୍ଥଳି ।।”
(ରାଧାଷ୍ଟମୀ ଵ୍ରତ, କ୍ଷେତ୍ରମୋହନ)
ଓଡ଼ିଶାର କେତେକ ଅଞ୍ଚଳରେ ଖମା ଶବ୍ଦଟି ମଧ୍ୟ ଖୁଣ୍ଟ ଅର୍ଥରେ ଵ୍ୟଵହାର ହୋଇଥାଏ ବୋଲି କଥିତ ଓଡ଼ିଆ ଶବ୍ଦକୋଷର ଉଲ୍ଲେଖରୁ ଜଣାଯାଏ । ସେହିପରି ସ୍ତମ୍ବ ଶବ୍ଦର ଅନ୍ଯ ଏକ ଓଡ଼ିଆ ରୂପ ଥମ୍ବର ଵ୍ୟଵହାର କଵି ପ୍ରତାପ ରାୟ ତାଙ୍କ ଶଶିସେଣା କାଵ୍ୟରେ ପ୍ରୟୋଗ କରିଅଛନ୍ତି
“ଥମ୍ବ ପ୍ରତିମା ପ୍ରାୟେକ ବେନି ବାମା
ନ ପାରନ୍ତି କଥା କହି।”
ଆଜି ବି ମାଲକାନଗିରିରେ ଥମ୍ ତଥା ଜଗତସିଂହପୁର ଜିଲ୍ଲାରେ ଥମ୍ବ ଶବ୍ଦର ଵ୍ୟଵହାର ସ୍ତମ୍ଭ ଅର୍ଥରେ ହେଉଥିଵା କଥିତ ଓଡ଼ିଆ ଶବ୍ଦକୋଷରେ ଉଲ୍ଲେଖ କରାଯାଇଛି ।‌ ତେଣୁ ଖମ୍ବ ଦ୍ଵାରା ଖେଳାଯାଉଥିଵାରୁ ଗଡ଼ଜାତର ଏହି ଖେଳକୁ ଖମଖମାଲୋ,ଖମଖମାଲୁ ଓ ଖମଖମାଲି ଇତ୍ୟାଦି କୁହାଯାଉଥିଲା ।
ଖମଖମାଲୋ ଥିଲା ଏକ ଆବଦ୍ଧ ପ୍ରାଙ୍ଗଣର କ୍ରୀଡ଼ା, କିନ୍ତୁ ଯଦି ଖୋଲା ପଡ଼ିଆରେ ଯେଉଁଠି ଚାରି ଵା ତତୋଧିକ ବଡ଼ ଖୁଣ୍ଟ ପୋତା ହେଉଥିଲା କିଂଵା ଆମ୍ବତୋଟାରେ ଲଗାଲଗି ହୋଇ ବଡ଼ ଵୃକ୍ଷ ରହୁଥିଲା ସେଠାରେ ମଧ୍ୟ ପିଲାଏ ଏ ଖେଳ ଖେଳୁଥିଲେ । କେହି କେହି ଏ ଖେଳକୁ ଘରର ଚାରି କୋଣକୁ ଆଧାର କରି ଖେଳୁଥିଵାର ମଧ୍ୟ ଜଣାଯାଏ । କିନ୍ତୁ ପୂର୍ଵକାଳରେ ସାଧାରଣତଃ ଗୁହାଳ ଘରେ ଚାରିଗୋଟି ଖୁମ୍ବ ରହୁଥିଵାରୁ ଏହି ଖମଖମାଲୋ ଖେଳ ସେଠାରେ ଅଧିକ ଖେଳାଯାଉଥିଲା ।
ଖମଖମାଲୋ ଖେଳରେ ଉଭୟ ପୁଅ ପିଲା ଓ ଝିଅପିଲା ଅଂଶଗ୍ରହଣ କରିପାରୁଥିଲେ । ଖେଳାଳିଙ୍କ ଵୟସ ସୀମା ତିନିରୁ ଦଶ ଵର୍ଷ ଵୟସ ଭିତରେ ସୀମିତ ରହୁଥିଲେ ହେଁ ବେଳେବେଳେ ଏଥିରେ ବଡ଼ ନାନୀ ଭାଇମାନେ ଯୋଗ ଦେଉଥିଵାର ଦେଖାଯାଉଥିଲା । ଏହି ଖେଳ ସାଧାରଣତଃ ଘରେ କିଂଵା ଗୁହାଳଘରେ ଖେଳାଯାଉଥିଵାରୁ ଘରେ ପିତାଙ୍କ ଅନୁପସ୍ଥିତିରେ କିଂଵା ଗୁହାଳରେ ଗାଈ ଗୋରୁ ନଥିଵା ସମୟରେ ହିଁ ଏହି ଖେଳ ଖେଳାଯାଉଥିଲା ।
ଗୁହାଳରେ ଥିଵା ଖମ୍ବ ଆଧାରରେ ଖେଳାଳି ଭାଗ ନେଉଥିଲେ । ସାଧାରଣତଃ ଗୁହାଳଗୁଡି଼କରେ ଚାରିଗୋଟି ଖମ୍ବ ରହୁଥିଲା ଘରେ ମଧ୍ୟ ଚାରିଗୋଟି କୋଣ ରହିଥାଏ ତେଣୁ ଏ ଖେଳରେ ଚାରିଗୋଟି ଖମ୍ବ ଵା କୋଣ ଆଧାରରେ ଚାରିଜଣ ସାଧାରଣ ଖେଳାଳି ଓ ଜଣେ ମାଈ ଖେଳାଳି ଯୋଗ ଦେଉଥିଲେ ।
ଚାରିଜଣ ସାଧାରଣ ଖେଳାଳି ଗୁହାଳର ଚାରିଗୋଟି ଖମ୍ବ ଵା ଘରର ଚାରୋଟି କୋଣକୁ ଧରି ରହୁଥିଲେ ଏଵଂ ମାଈ ଖେଳାଳି ସେମାନଙ୍କ ମଝିରେ ଗୋଟିଏ ଗୋଲାଇ ଭିତରେ ରହି ଗୀତ ବୋଲୁଥିଲା । ଯଦି ଖମ୍ବ, ଗଛ ଵା ଘରର କୋଣଠାରୁ ଖେଳାଳୀ ସଂଖ୍ୟା କମ୍ ରହୁଥିଲା ତାହେଲେ ତହିଁରୁ ଗୋଟିଏ ଦୁଇଟି ଖମ୍ବ, କୋଣ ଵା ଗଛ ଵାଦ୍ ଦିଆଯାଉଥିଲା ।
ଖେଳାଳୀମାନଙ୍କ ଭିତରୁ ଯେଉଁ ଖେଳାଳି ମଝିରେ ଗୋଲେଇ ଘାଇ ମଧ୍ୟରେ ରହୁଥିଲା ତାକୁ ‘ମାଇ’ କୁହାଯାଉଥିଲା କିନ୍ତୁ ଗଡ଼ଜାତରେ ଏହି ମାଈ ଖେଳାଳିକୁ ‘ଖମଖମାଲୋ ଗୀତ’ ଗାଇଵାକୁ ପଡୁ଼ଥିଲା ।
“ଖମଖମାଲୋ
ବାଏଗନ୍ ମାଲୋ
ମଝିର ଖମକେ ଛାଡ଼ିଦେ
ମଝିର ଖମକେ ଛାଡ଼ିଦେ
ବିଲ୍ ବିଲାଲେ
ଆମୁଲ୍ କୁଲେ
ନନିର ଟୁଁଡ଼େ ଭରି ଦେ
ନନିର ଟୁଁଡେ଼ ଭରିଦେ।।”
ପୁଣି କେଉଁଠି କେଉଁଠି ଏ ଗୀତ ଆହୁରି ସହଜ ହୋଇ ଗାୟନ ହେଉଥିଲା . .
“ଖମଖମାଲୋ
ବାଏଗନ୍ ମାଲୋ
ମୋର ଖମ୍ କେ ଛାଡି଼ ଦେ
ମୋର୍ ଖମ୍ କେ ଛାଡି଼ ଦେ”
‘ମାଇ’ ଖେଳାଳି ଏହି ଗୀତ ଗାଉଥିଵା ସମୟରେ ଅନ୍ୟ ଖେଳାଳୀ ସବୁ ପରସ୍ପର ଖମ୍ବ ଅଦଳବଦଳ କରୁଥିଲେ । ଚାରିଗୋଟି ଗଛ,ଖମ୍ବ ଵା କୋଣକୁ ଧରି ରହିଥିଵା ଖେଳାଳିମାନଙ୍କ ଦ୍ଵାରା ଖମ୍ବ,କୋଣ ଵା ଗଛ ଅଦଳବଦଳ ସମୟରେ ଯଦି ମଝିରେ ଛିଡ଼ା ହୋଇ ଗୀତ ବୋଲୁଥିଵା ‘ମାଇ’ ଖେଳାଳୀ ସେମାନଙ୍କ ମଧ୍ୟରୁ କାହାକୁ ଛୁଇଁ ଦେଉଥିଲା ତେବେ ସେହି ଖେଳାଳୀ ଜଣକ ‘ମାଇ’ ହେଉଥିଲା । ମାତ୍ର ଯଦି ‘ମାଇ’ ଖେଳାଳି ଅନ୍ୟ ଖେଳାଳିକୁ ଛୁଇଁଵା ସମୟରେ ଘାଇରୁ ବାହାର ହୋଇ କାହାକୁ ଛୁଉଁଥିଲା କିଂଵା ରାହା ନପାଇଵାରୁ ଵା ଅନ୍ୟ କାରଣରୁ ଖମଖମାଲୋ ଗୀତ ଗାଇଵା ବନ୍ଦ କରିଦେଇ କାହାକୁ ଛୁଇଁ ଦେଉଥିଲା ତେବେ ସେହି ଛୁଆଁକୁ ଗଡ଼ରେ ଗଣନା କରାଯାଉନଥିଲା ଏଵଂ ଆଉଥରେ ଖେଳ ଆରମ୍ଭ ହେଉଥିଲା । ଏହିପରି ଏହି ଖମଖମାଲୋ ଖେଳ ଘଣ୍ଟାଏରୁ ଦେଢ଼ ଘଣ୍ଟାଯାଏଁ ଖେଳାଯାଉଥିଲା ।
ଭାରତର ଅନ୍ୟ ଖେଳଗୁଡି଼କ ପରି ଏ ଖେଳରେ ମଧ୍ୟ ଗୁହିଁ ଵା ଗୁନ୍ଧୁରୀ ହେଲେ ଅର୍ଥାତ୍ ଗୋଳ ହେଲେ ଖେଳରେ ଗୁନ୍ଧୁରୀ କରିଥିଵା ଖେଳାଳିଙ୍କୁ ଵାଦ୍ ଦିଆଯାଇ ମଝିରେ ନୂଆ ଖେଳାଳିଙ୍କୁ ଖେଳାଯାଉଥିଲା ।
ଖମଖମାଲୋ ଖେଳ ସାଧାରଣତଃ ଆଵଦ୍ଧ ଘରେ ଓ ଗୁହାଳରେ ଖେଳାଯାଉଥିଵାରୁ ଅଵିଭାଵକ ଓ ସମଵୟସ୍କ ପିଲାଏ ଦର୍ଶକ ହୋଇ ଖେଳକୁ ଉପଭୋଗ କରିପାରୁଥିଲେ । ସମୟ ସହ ଏ ଖେଳ ଅଧୁନା ଓଡ଼ିଶାରୁ ଲୁପ୍ତ ହୋଇସାରିଛି କିନ୍ତୁ ଆଜି ମଧ୍ୟ ଘର କୋଣ ଵା ସ୍ତମ୍ଭ ଓ ଲଗାଲଗି ଉଠିଥିଵା ଆମ୍ବଗଛ ପୂର୍ଣ୍ଣ ଆମ୍ବ ତୋଟା ଵା ଜଙ୍ଗଲର ଗଛମୂଳରେ ମଧ୍ୟରେ ଏ ଖେଳ ଖେଳାଯାଇପାରେ ।
ଆଧୁନିକ ଯୁଗରେ ଦୂରଦର୍ଶନ, ମୋବାଇଲ ଆସିଵା ଦିନଠାରୁ ଅନେକ ଭାରତୀୟ କ୍ରୀଡ଼ା ଲୁପ୍ତ ହୋଇଯାଇଅଛି । ଖମଖମାଲୋ ଖେଳ ମଧ୍ୟ କାଳ ଆଗରେ ପରାଜିତ ହୋଇ ଆଜି ମୃତ ହୋଇ ସାରିଛି । ଅସ୍ତୁ, ଓଡ଼ିଶାର ଲୋକେ ଵିଶେଷ ଉତ୍ସଵାଦିରେ ଏହି ଖେଳର ପ୍ରତିଯୋଗିତା ଆୟୋଜନ କରି ଏହାକୁ ଯଦି ବଞ୍ଚାଇଵାକୁ ଚେଷ୍ଟା କରନ୍ତେ ତେବେ ହୁଏତ ଏ ଖମଖମାଲୋ ଖେଳଟି କେଵଳ ବହି ଓ ପୁରୁଣା ଲୋକଙ୍କ ସ୍ମତି ମଧ୍ୟରେ ସୀମିତ ନରହି ଆଉ ଥରେ ପୁନଃ ପ୍ରଚଳିତ ହୋଇପାରନ୍ତା ।
ତଥ୍ୟ ଉତ୍ସ:
କ. ପଶ୍ଚିମ ଓଡ଼ିଶାର ପାରମ୍ପାରିକ ଖେଳ;ଏକ ଲୋକତାତ୍ତ୍ଵିକ ଅଧ୍ୟୟନ— ଶ୍ରୀ ସଞ୍ଜୟ କୁମାର ବାଗ୍
ଖ. କଥିତ ଓଡ଼ିଆ ଶବ୍ଦକୋଷ— ଓଡ଼ିଆ ଭାଷା ପ୍ରତିଷ୍ଠାନ
ଗ. ସମ୍ବଲପୁରୀ ଓଡ଼ିଆ ଶବ୍ଦକୋଷ— ଶ୍ରୀ ସନ୍ତୋଷ ତ୍ରୀପାଠୀ
ଙ. ଚିତ୍ରଉତ୍ସ — ୟୁଟ୍ୟୁବ
Spread the love
admin

Recent Posts

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

2 days ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

3 days ago

ଦଶପଲ୍ଲା ଗଡ଼

ଦଶପଲ୍ଲା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଅଧୁନା ନୟାଗଡ଼ ଜିଲ୍ଲା ପୂର୍ବରୁ ଚାରି ଗଡଜାତରେ ବିଭକ୍ତ ଥିଲା ଯଥା,…

6 days ago

ମା’ ଚର୍ଚ୍ଚିକା

~ ବାଙ୍କୀଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା' ଚର୍ଚ୍ଚିକା ଠାକୁରାଣୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ବା ଉତ୍କଳ…

1 week ago

ଓଡ଼ିଆ ସାହିତ୍ୟର ଇତିହାସ

~ ଓଡ଼ିଆ ସାହିତ୍ୟର ଇତିହାସ ~ ଉପସ୍ଥାପନା: ନିରଞ୍ଜନ ସାହୁ ସାହିତ୍ୟ ହେଉଛି ମୂଳତଃ ମଣିଷର। ଜୀବନର ବିବିଧ ପରିଧି…

1 week ago

ଔପନ୍ୟାସିକ କାହ୍ନୁଚରଣ ମହାନ୍ତି

ଔପନ୍ୟାସିକ କାହ୍ନୁଚରଣ ମହାନ୍ତି ଉପସ୍ଥାପନା: ଅନିଲ କୁମାର ପାଣିଗ୍ରାହୀ ଆବିର୍ଭାବ: ୧୧ ଅଗଷ୍ଟ ୧୯ଠ୬ ତିରୋଧାନ: ୬ ଏପ୍ରିଲ ୧୯୯୪…

1 week ago