ଲେଖା: ଅକ୍ଷୟ ଓଝା
ଉତ୍କଳୀୟ ପରମ୍ପରାରେ ପ୍ରଥମାଷ୍ଟମୀ ପାଳନ ଏକ ସାଂସ୍କୃତିକ ତଥା ସାମାଜିକ ପରମ୍ପରା । ଏହା ପରିବାର, ସମାଜ, ସାମୁହିକ ଭାବରେ ପାଳିତ ହୋଇଥାଏ । ଧନୀଗରିବ ନିର୍ବିଶେଷରେ ସମସ୍ତେ ଏହି ପର୍ବ ପାଳନ କରିଥାନ୍ତି । ଗାଁ ଉତ୍ସବ ମୁଖର ହୁଏ।
ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହିଦିନ ସେମାନଙ୍କ ଦୀର୍ଘ ଜୀବନ କାମନା କରି ମା’ମାନେ ଷଠୀଦେବୀଙ୍କର ପୂଜାର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ ।
ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ, ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠାକନ୍ୟାର ନବବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।
ପରମ୍ପରା ଅନୁଯାୟୀ ଏହି ପ୍ରଥମାଷ୍ଟମୀ ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମା’ ପିନ୍ଧେଇଥାନ୍ତି ।
ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।
Image: odiasamaj.net
~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…
~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…
ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…
~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…
~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…
~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…